ପୁଣି ବର୍ଷା ଭୟ
ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିବ । ଆଜି ପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପର୍ୟ୍ୟନ୍ତ ଅନ୍ୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବା ନେଇ ଆକଳନ କରାଯାଇଛି । ଉପରମୁଣ୍ଡରେ ବର୍ଷା ଯୋଗୁ ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବ । ବନ୍ୟା ଆଶଙ୍କା ନେଇ କେଦ୍ରୀୟ ଜଳ ଆୟୋଗଙ୍କୁ ଅବଗତ କରାଯାଇଛି ।
ଏହାବ୍ୟତୀତ ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ହେବ । ୩୦ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ । ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।