ପରଲୋକରେ ପ୍ରଫୁଲ କର, ସବୁ ମହଲରେ ଶୋକର ଛାୟା
ପରଲୋକରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ଗତକାଲି ରାତି ୧୦ ଟା ୨୦ ମିନିଟ୍ ସମୟରେ ତାଙ୍କର ପରଲୋକ ହୋଇଯାଇଛି । ରାତି ୯ ଟା ପରେ ସେ ରାତ୍ରିଭୋଜନ କରିବା ପରେ ବିଶ୍ରାମ ନେଉଥିବା ବେଳେ ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ । ତାଙ୍କ ଅକ୍ସିଜେନ ସ୍ତର ହଠାତ୍ କମି ଯାଇଥିଲା । ଆଉ ଏହାର କିଛି ସମୟ ମଧ୍ୟରେ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା ।
ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ ପରିବାର ସୂତ୍ରରୁ ସୂଚନା ମିଳିଛି । ତାଙ୍କ ପରଲୋକର ଖବର ପାଇଁ ବନ୍ଧୁ, ଶୁଭେଚ୍ଛୁମାନେ ତାଙ୍କ ସତ୍ୟନଗରସ୍ଥିତ ବାସଭବନରେ ପହଂଚି ଶେଷ ଦର୍ଶନ କରୁଛନ୍ତି । ତାଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।
ଦୀର୍ଘ ୬ ଦଶନ୍ଧୀ ଧରି ଓଡ଼ିଆ ସଙ୍ଗୀତ ଦୁନିଆକୁ ଆଚ୍ଛାଦିତ କରି ରଖିଥିବା ଏହି ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ଦେହାନ୍ତ ପରେ ସବୁ ମହଲରେ ଶୋକର ଛାୟା ଖେଳିଯାଇଛି । ପ୍ରଫୁଲ୍ଲ କର ପ୍ରାୟ ୭୦ରୁ ଅଧିକ ଓଡ଼ିଆ ସିନେମା ଓ ୪ଟି ବଙ୍ଗଳା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ତଥା ପାରମ୍ପାରିକ ଓଡ଼ିଶୀ ଲୋକଗୀତର ବହୁଳ ବ୍ୟବହାର ଦେଖିବାକୁ ମିଳେ । ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ପାଇଁ ସେ ୮ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଛନ୍ତି ।