ବସ୍ତିବାସିନ୍ଦାଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଆଉ ରହିବନି ବସ୍ତି ; ୧୦୧୦ ଟି ‘ବିଜୁ ଆଦର୍ଶ କଲୋନୀ’ ହେଲା ଲୋକାର୍ପିତ

ଭୁବନେଶ୍ୱର : ଜାଗା ମିଶନରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ପଟ୍ଟା ବଣ୍ଟନ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା- ୫ଟି ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି । ଏହି ପଟ୍ଟାବଣ୍ଟନ ସହ ରାଜ୍ୟର ୫ ମହାନଗର ନିଗମ ସମେତ ୧୧୫ ଟି ସହରାଞ୍ଚଳର ୧୦୧୦ ଟି ବିଜୁ ଆଦର୍ଶ କଲୋନୀକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଆସନ୍ତା ଅକ୍ଟୋବର ମାସରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ପ୍ରମାଣ ପତ୍ର ପ୍ରଦାନ କରାଯିବ ଏବଂ ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ ଏ ଅଭିଯାନ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବସ୍ତିବାସିନ୍ଦାଙ୍କୁ ସମ୍ଭୋଧିତ କରି କହିଥିଲେ ଜାଗା ମିଶନରେ ରାଜ୍ୟରେ ଆଉ ବସ୍ତି ରହିବନି ଏବଂ ସବୁ ବସ୍ତି ‘ବିଜୁ ଆଦର୍ଶ କଲୋନୀ’ରେ ପରିଣତ ହେବ ।
ପୂର୍ବରୁ କେବଳ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମ୍ୟୁନସିପାଲଟିର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନରେ ପଟ୍ଟାବଣ୍ଟନ କରାଯାଉଥିବା ବେଳେ ଗତ ବର୍ଷ ମହାନଗର ନିଗମବାସୀଙ୍କୁ ମଧ୍ୟ ପଟ୍ଟାବଣ୍ଟନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ ଏହି କ୍ରମରେ ଗତ ନଭେମ୍ବର ୨୦୨୨ରେ ଡ୍ରୋନ୍‌ ବ୍ୟବହାର କରାଯାଇ ସର୍ଭେ କରାଯାଇ ଯୋଗ୍ୟ ହିତାଧିକାରୀ ତାଲିକା ପ୍ରସ୍ତୁତ କରାଯାଇ ଆଜି ପ୍ରଥମ ପର୍ଯ୍ୟାୟ ପଟ୍ଟାବଣ୍ଟନ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୧୧୦ ଟି ପୌର ସଂସ୍ଥାରେ ସହରର ୧ ଲକ୍ଷ ୭୨ ହଜାର ପରିବାକୁ ଜମି ଅଧିକାର ଦିଆଯାଇସାରିଛି । ଆସନ୍ତା ଡିସେମ୍ବର ସୁଦ୍ଧା ରାଜ୍ୟର ଅଢେ଼ଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ।
କଟକ ମହାନଗର ନିଗମ, ଖୋର୍ଦ୍ଧା, କୋରାପୁଟ ଓ ଯାଜପୁର ପୌରାଞ୍ଚଳକୁ ବିଜୁ ଆଦର୍ଶ କଲୋନୀ ନିର୍ମାଣରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ । ସେହିପରି ଯେଉଁଠାରେ ଆଇନଗତ କାରଣରୁ ବସ୍ତି ଲୋକଙ୍କୁ ନିଜେ ରହୁଥିବା ସ୍ଥାନରେ ଜାଗା ଦିଆଯିବା ସମ୍ଭବ ନୁହେଁ, ସେଠାରେ ସମସ୍ତଙ୍କ ସହମତିରେ ନିକଟସ୍ଥ ସ୍ଥାନରେ ଜାଗ ଦିଆଯାଇ ନୂଆ କଲୋନୀ ସ୍ଥାପନ କରାଯାଉଛି । ନୂଆ କଲୋନୀ ସ୍ଥାପନରେ ଚିକିଟି, ବୌଦ୍ଧ, ଢେଙ୍କାନାଳ ଓ କେଶିଙ୍ଗା ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ସେମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ । ଜଙ୍ଗଲ, ଜମିରେ ଘର କରିଥିବା ଗରିବ ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନର ପ୍ରୟୋଗରେ ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଦେବା କ୍ଷେତ୍ରରେ ଢେଙ୍କାନାଳ ଜିଲ୍ଲା ସାରା ଦେଶରେ ପ୍ରଥମ ସ୍ଥାନ ପାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପ୍ରଶାସନକୁ ସମ୍ବର୍ଦ୍ଧିତ କରିଛନ୍ତି । ସେହିପରି ରାଜ୍ୟର ଜାଗା ମିଶନ କାର୍ଯ୍ୟକ୍ରମ ଜାତିସଂଘ ୱାର୍ଲଡ ହାବିଟାଟ୍‌ ପୁରସ୍କାର ପାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଜାଗା ମିଶନ ଟିମକୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଉଷା ଦେବୀ ନିଜର ଅଭିଭାଷଣ ରଖି କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମ ଯୋଗୁ ରାଜ୍ୟର ଗରିବ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି । କାର୍ଯ୍ୟକ୍ରମରେ ଯୋଗଦେଇ ଟାଟା ଷ୍ଟିଲ ଫାଉଣ୍‌ଡେସନ୍‌ର ପରିଚାଳନା ନିର୍ଦ୍ଦେଶକ ବିଭିନ୍ନ ଜନ କଲ୍ୟାଣ କାର୍ଯ୍ୟକ୍ରମରେ ସରକାରଙ୍କୁ ଟାଟା ଷ୍ଟିଲ ସର୍ବଦା ସହଯୋଗ କରିବାକୁ ପ୍ରସ୍ତୁତ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭାଗର ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଜାଗା ମିଶନର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Comments (0)
Add Comment