THE BYAPINI

ମିଶନ ଶକ୍ତିକୁ ୪୫୩ କୋଟି

Get real time updates directly on you device, subscribe now.

ମିଶନ ଶକ୍ତିକୁ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ୩୩୮ ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି, ୮୪.୫୦ କୋଟି ଆବର୍ତ୍ତନ ପାଣ୍ଠି, ମିଶନ ଶକ୍ତି ଋଣର ସୁଧ ରିହାତି ପାଇଁ ୨୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତି ହେଉଛି- ଓଡ଼ିଶାର ୭୦ ଲକ୍ଷ ମାଆ ମାନଙ୍କର ଏକ ବିରାଟ ଅନୁଷ୍ଠାନ । ଏହା ହେଉଛି ଓଡ଼ିଶାର ବିକାଶ ବାହିନୀ । ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି ।’

ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଆ ମାନେ କୋଭିଡ୍ ସମୟରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ ।’

ବ୍ଲକ୍‌ସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ୱ କାର୍ୟ୍ୟକ୍ରମ ସଂପର୍କରେ ଆଲୋଚନା ପର୍ୟ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତିର ମାଆ ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି । ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ, ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.