ସିଲଭର ସିଟି ପାଇଁ ସ୍ମାର୍ଟ ବସଷ୍ଟାଣ୍ଡ
ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡ ପରେ କଟକରେ ନିର୍ମିତ ହେବ ଅତ୍ୟାଧୁନିକ ବସ ଟର୍ମିନାଲ । କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ।ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଛନ୍ତି । ଆଉ ଏଥିପାଇଁ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା।
ବାଦାମବାଡି ବସ୍ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସେଥିପାଇଁ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ ଫଟୋ ଚିତ୍ର ରଖାଯିବ। ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ଏଥିରେ ଏକ ବୃହତ ଟର୍ମିନାଲ ବିଲ୍ଡିଂ, ସାଧାରଣ ଯାତ୍ରୀବାହୀ ବସ୍ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ ।
୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍ ପାର୍କିଂର ବ୍ୟବସ୍ଥା ରହିବ। ଏଥି ପାଇଁ କଟକର ରିଂ ରୋଡକୁ ଆଉ ୨ କିଲୋମିଟର ସଂପ୍ରସାରଣ କରିବା ପାଇଁ ନିଷ୍ପତ୍ତି ହୋଇଛି ।
ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ । ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ । ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ। ତେଣୁ ତାଙ୍କ ନାମରେ ଏହି ବସ ଟର୍ମିନାଲକୁ ନାମିତ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ ୫ଞ କାର୍ୟ୍ୟକ୍ରମ ଅଧୀନରେ ଏହା କାର୍ୟ୍ୟକାରୀ କରାଯିବ ।